୧୭ ଯାଏଁ ବର୍ଷା, ଅଧିକ ପ୍ରଭାବିତ ହେବ ଦକ୍ଷିଣ ଓଡ଼ିଶା

୧୭ ଯାଏଁ ବର୍ଷା, ଅଧିକ ପ୍ରଭାବିତ ହେବ ଦକ୍ଷିଣ ଓଡ଼ିଶା

ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଗୋଟିଏ ଲଘୁଚାପ ଦୁର୍ବଳ ହେଲା ପରେ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇ ହୋଇଥିବା ବେଳେ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ଏଥିସହ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଦ୍ଧ, ନୂଆପଡ଼ା, ଢେଙ୍କାନାଳ, ମାଲକାନଗିରି ଏବଂ ବଲାଙ୍ଗିର ଜିଲ୍ଲାରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ୧୭ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଉଛି।ଏନେଇ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରା ୨-୩ ଡିଗ୍ରୀ ବଢ଼ିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ୧୭ ପରେ ମଧ୍ୟ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଥିବାର ଜଣାପଡ଼ିଛି।